ଭୁବନେଶ୍ବର: ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି(ବୁଧବାର) ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହା ସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ । ଏହି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି,‘‘ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ । କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନହେବ, ତାକୁ ସୁନିଶ୍ଚିତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ଏହି ଯୋଜନା ଏକ ଭଲ ଯୋଜନା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ବୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ । ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ବ ଆଣିବାରେ ମଧ୍ୟ ଏହା ସହାୟକ ହେବ’’ ।
ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ । ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି । ସେହିପରି ୪ ହଜାରରୁ ଅଧିକ ଗ୍ରାମସଭାକୁ ଗୋଷ୍ଠି ଅଧିକାର ଦିଆଯାଇଛି । ଏହା ସହିତ ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ମଧ୍ୟ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୦୦ ମସିହାରେ ତାଙ୍କ ସରକାର ଯେତେବେଳେ ପ୍ରଥମେ ଓଡିଶାରେ ସେବାର ଦାୟିତ୍ବ ଗ୍ରହଣ କଲା, ସେତେବେଳେ ତାଙ୍କ ସରକାରର ପ୍ରଥମ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଥିଲା ପଞ୍ଚାୟତ ମାନଙ୍କୁ ଲଘୁ ବନଜାତ ଦ୍ରବ୍ୟର ସଂଗ୍ରହ ଅଧିକାର ପ୍ରଦାନ । ଆଜି ଏ ଦିଗରେ ଅନେକ କାମ ହୋଇଛି । ଜନଜାତି ମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ କ୍ଷେତ୍ରରେ ଉନ୍ନତି ହେବା ସହିତ ସେମାନେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ମଧ୍ୟ ଅର୍ଜନ କରିପାରିଛନ୍ତି ।