ETV Bharat / city

BSKY ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡ଼ିଶା

author img

By

Published : Dec 15, 2021, 8:26 PM IST

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡିଶା ଇତିହାସର ସବୁଠାରୁ ବଡ ସଫଳତା । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶା । ଅଧିକ ପଢ଼ନ୍ତୁ

BSKY ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡ଼ିଶା
BSKY ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡ଼ିଶା

ଭୁବନେଶ୍ବର: ସ୍ବାସ୍ଥ୍ୟସେବା ଇତିହାସରେ ଓଡ଼ିଶା ପାଇଛି ସବୁଠାରୁ ବଡ଼ ସଫଳତା । ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏହି ଅଭିଯାନ ଆଜି(ବୁଧବାର) ଯାଜପୁରରେ ଉଦ୍‌ଯାପିତ ହୋଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥକାର୍ଡ କାର୍ଯ୍ୟକ୍ରମରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ୩ କୋଟି ଲୋକ ସାମିଲ ହୋଇଛନ୍ତି । ଏହି ଯୋଜନାରେ ରାଜ୍ୟର ଗରିବ ଲୋକ ସବୁଦିନ ପାଇଁ ଚିକିତ୍ସା ଖର୍ଚ୍ଚରୁ ମୁକ୍ତି ପାଇଛନ୍ତି । ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ଆଜି ଯୋଡ଼ି ହୋଇଛି କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲା । କେନ୍ଦ୍ରାପଡାର ୧୧.୫୦ ଲକ୍ଷ ଓ ଯାଜପୁରର ୧୫.୪୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା ।

ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହା ସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି । କେନ୍ଦ୍ରାପଡ଼ାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବାକୁ ଥିବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, "ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ । ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍ପିଟାଲରେ ବିନା ପଇସାରେ ଚିକିତ୍ସା ସୁବିଧା ପାଇପାରିବ ।"

ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Cardରେ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା, ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ାରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଜଳସମ୍ପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ମନ୍ତ୍ରୀମାନେ ମତବ୍ୟକ୍ତ କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ସାଂସଦ ଓ ଜିଲ୍ଲାର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.