ETV Bharat / city

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

author img

By

Published : Aug 12, 2022, 2:28 PM IST

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ, ଉପକୃତ ହେବେ ୨.୫ ଲକ୍ଷ
ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ, ଉପକୃତ ହେବେ ୨.୫ ଲକ୍ଷ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି । ଏଥିରୁ ଉପକୃତ ହେବେ ଅଢେଇ ଲକ୍ଷ ଲୋକେ । ଅଧିକ ପଢନ୍ତୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଶୁକ୍ରବାର) ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିଛନ୍ତି । ସେଠାରେ ୨ଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହା ସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଦ୍ବାରା ୨୭ ହଜାର ହେକ୍ଟର ଜମିକୁ ଜଳ ମିଳିବା ସହ ଉପକୃତ ହେବେ ୨.୫ ଲକ୍ଷ ଲୋକେ ।

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ, ଉପକୃତ ହେବେ ୨.୫ ଲକ୍ଷ

ମୟୂରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ୨ଟି ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ । ଏହାଦ୍ବାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ । ଏଥିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ ।

ଏହାଦ୍ବାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି । ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୂରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ । ଏହା ଦ୍ବାରା ୧୦୦ଟି ଗାଁର ୨ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରିରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, "ଭାରତରେ ମୟୂରଭଞ୍ଜର ଏକ ସ୍ବତନ୍ତ୍ର ପରିଚୟ ରହିଛି । ମୟୂରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆହୁରି ବୃଦ୍ଧି କରିଛନ୍ତି । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ। ମୟୂରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା । ରାଜ୍ୟର ବିକାଶର ମୟୂରଭଞ୍ଜର ସ୍ବତନ୍ତ୍ର ଅବଦାନ ରହିଛି ।" ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ମୋରଡା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାରାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଂସଦା, ଜିଲ୍ଲାପାଳ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.