ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ

author img

By

Published : Nov 22, 2022, 10:29 AM IST

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ

ଆଜିଠୁ ତିନି ଦିନ ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଅନୁଷ୍ଠିତ ହେବ । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବେ ଶ୍ରୀଜୀଉ । ଅଧିକ ପଢନ୍ତୁ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି(Dev Diwali Rituals Starts In Srimandir) । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ପ୍ରଥମ ଦିନ ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାପ୍ରଭୁ, ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେବେ ।

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ
ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ

ଆସନ୍ତାକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ପରେ ତୃତୀୟ ଦିନ ଅର୍ଥାତ ଗୁରୁବାର ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି । ଏହି ତିନି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶ ଧାରଣ କରି ପିତୃପୁରୁଷ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରିବେ । ଏହାସହ ଏହି ତିନିଦିନ ମହାଦୀପ ମଧ୍ୟ ପ୍ରଜ୍ବଳିତ ହେବ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ । ଏହାମଧ୍ୟ ପଢନ୍ତୁ: Konark Dance Festival : ଡିସେମ୍ବର 1 ରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ

ପ୍ରତିଦିନ ସନ୍ଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ବେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇବେ । ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ ହାତ, ଶ୍ରୀବଳଭଦ୍ର ୧୪ ହାତ ଓ ଦେବୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତା ଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରରେ ଠାକୁରମାନେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.