ଆଜି ଶ୍ରୀଜିଉଙ୍କ ଦୁର୍ଲଭ ପଦ୍ମବେଶ, ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ହଜାର ହଜାର ଭକ୍ତଙ୍କ ସମାଗମ

author img

By

Published : Jan 25, 2023, 9:16 AM IST

Updated : Jan 25, 2023, 1:26 PM IST

padma besha of lord jagannath

ଆଜି(ବୁଧବାର) ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମବେଶ ହେବ । ଦୁର୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଅଧିକ ପଢ଼ନ୍ତୁ

ଆଜି ଶ୍ରୀଜିଉଙ୍କ ଦୁର୍ଲଭ ପଦ୍ମବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ବେଶ ନିଷ୍ଠାର ସହ ଏହି ବେଶ ତିଆରି କରିଛନ୍ତି । ଆଜି ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ । ଗତ ପଣ୍ତୁ ପୁର୍ଣ୍ଣିମାଠାରୁ ମହାପ୍ରଭୁଙ୍କ ପାଇଁ ପଦ୍ମବେଶ ପ୍ରସ୍ତୁତ ଆରମ୍ଭ ହୋଇଥିଲା । ଆଜି ସନ୍ଧ୍ୟାରେ ଏହି ବେଶକୁ ଶ୍ରୀମନ୍ଦିରକୁ ନିଆଯିବ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ସଜ୍ଜିତ ହେବେ । ଆସନ୍ତାକାଲି ମଙ୍ଗଳ ଆଳତୀ ପର୍ଯ୍ୟନ୍ତ ଏହି ବେଶ ଦର୍ଶନ କରିବାର ସୁଯୋଗ ପାଇବେ ଭକ୍ତ ।

ସୋଲ, ଜରି, ଜମ୍ବୁରା, କଇଁଥ ଅଠା, ବାଉଁଶ, ବେତ ଓ ବିଭିନ୍ନ ପ୍ରକାରର କନା ବ୍ୟବହାର କରି ବେଶ ତିଆରି କରାଯାଇଛି । ବେଶ ନିର୍ମାଣ କାର୍ଯ୍ୟରେ ଦରଜି ଓ ଚିତ୍ରକର ସେବକ ମଧ୍ୟ ନିୟୋଜିତ ହୋଇଥାନ୍ତି । ଆବଶ୍ୟକ ସୋଲ ସଂଗ୍ରହ କରାଯାଇ ତାକୁ କଟାଯିବା ପରେ ପରସ୍ତପରସ୍ତ କରି ଯୋଡ଼ାଯାଇ ଶ୍ରୀମୁଖ ପଦ୍ମ ଆକୃତିର ପ୍ରସ୍ତୁତ କରାଯାଏ । କିମ୍ବଦନ୍ତୀ ଅନୁଯାୟୀ, ଉତ୍କଳ ଠାରୁ ଶହ ଶହ ମାଇଲ ଦୂରରେ ଥିଲେ ଜଣେ ହିନ୍ଦୀ ଭାଷୀ ସାଧୁ । ତାଙ୍କର ନାମ ଥିଲା ମନୋହର ଦାସ । ଏକଦା ମହାତ୍ମା ମନୋହର ଦାସ ଜଗନ୍ନାଥଙ୍କୁ ଦର୍ଶନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ତାଙ୍କର ପ୍ରବଳ ଆକାଂକ୍ଷା ଥିଲା ।

ଦୀର୍ଘ ଦିନ ଚାଲି ଚାଲି ଅନେକ ଜଙ୍ଗଲ, ପାହାଡ଼, ନଈ, ରାସ୍ତା ଅତିକ୍ରମ କରି ଶାରୀରିକ ପୀଡା ସତ୍ତ୍ୱେ ସେ ଅବିଚଳିତ ଭାବେ ଆଗେଇ ଚାଲିଥାନ୍ତି । ପଥ ମଧ୍ୟରେ ରାତ୍ରି ହୋଇଗଲେ କୌଣସି ମନ୍ଦିର, ମଠ, ଆଶ୍ରମ କିମ୍ବା ବୃକ୍ଷ ତଳେ ବିଶ୍ରାମ ନିଅନ୍ତି । ପଦବ୍ରଜରେ ଯାଉଥିବା ବେଳେ ସାଧୁଙ୍କୁ ଥରେ ଭୀଷଣ ଶୋଷ ହେଲା । ପାଖରେ କୌଣସି ଗ୍ରାମ କିମ୍ବା ଜଳାଶୟ ନଥିଲା । କିଛି ପଥ ଅତିକ୍ରମ କରିବା ପରେ ହଠାତ ତାଙ୍କର ଦୃଷ୍ଟି ଗୋଚର ହେଲା ଗୋଟିଏ ପୁଷ୍କରିଣୀ ମଧ୍ୟରେ ଅନେକ ପଦ୍ମ ଫୁଲ ଫୁଟିଛି । ସେ ତାହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ କାରଣ ଶୀତଦିନରେ ପଦ୍ମ ଫୁଲ ଫୁଟିବା ସମ୍ଭବ ନୁହେଁ ।

ସେ ମନେମନେ ଜଗନ୍ନାଥଙ୍କୁ ସୁମରଣା କରି ପାଣି ପିଇ ପ୍ରଭୁଙ୍କ ପାଇଁ ପୁଷ୍କରିଣୀରେ ଫୁଟିଥିବା ପଦ୍ମ ପୁଷ୍ପକୁ ତୋଳି ନିକଟରେ ଥିବା ଏକ ମଇଳା ଗାମୁଛାରେ ନେଇଥିଲେ । ମାଘ ମାସ ଅମାବାସ୍ୟା ଦିନ ସେ ଶ୍ରୀମନ୍ଦିରରେ ପହଞ୍ଚି ପଦ୍ମଫୁଲ ଗୁଡ଼ିକ ଶ୍ରୀଜୀଉମାନଙ୍କ ଚରଣାବିନ୍ଦରେ ଲାଗି କରିବା ପାଇଁ ଅନୁରୋଧ କଲେ । ମଇଳା ଗାମୁଛାରେ ଥିବା ଶୁଷ୍କ ପଦ୍ମ ଫୁଲକୁ ଦେଖି ପଣ୍ଡା ଏହା ଠାକୁରଙ୍କୁ ଲାଗି ହେଇପାରିବ ନାହିଁ କହି ତିରସ୍କାର କଲେ । ଏ ଘଟଣାରେ ଭକ୍ତ ମନୋହର ଦୁଃଖ ଓ ଅପମାନରେ ମ୍ରିୟମାଣ ହୋଇ ତଳେ ପଡ଼ିଥିବା ଫୁଲ ସବୁ ଗୋଟାଇ ଶ୍ରୀମନ୍ଦିରରୁ ପଳାଇ ଆସି ବଡ଼ଛତା ମଠ ନିକଟରେ ଜଗନ୍ନାଥଙ୍କୁ ସ୍ମରଣ କରି ମୂର୍ଚ୍ଛିତ ହୋଇପଡ଼ିଲେ ।

ସେହି ଦିନ ଜଗନ୍ନାଥ ମହାପ୍ରଭୁ ସ୍ୱପ୍ନାଦେଶରେ ଗଜପତି ମହାରାଜାଙ୍କୁ କହିଲେ, "ମନୋହର ଆଣିଥିବା ପଦ୍ମ ପୁଷ୍ପରେ ହିଁ ଆଜି ମୋର ବଡ଼ସିଂହାର ବେଶ ହେବ । ପଦ୍ମ ଚାଉଳରେ ଖିରି ଭୋଗକରି ସେହି ସାଧୁଙ୍କୁ ସେବନ କରାଇ ତାଙ୍କର ଜୀବନ ରକ୍ଷା କର ।" ଭକ୍ତ ପ୍ରବର ସାଧୁ ମନୋହର ଦାସଙ୍କ ଶ୍ରୀଜଗନ୍ନାଥଙ୍କୁ ପଦ୍ମ ପୁଷ୍ପ ପ୍ରଦାନର କିମ୍ବଦନ୍ତୀ ମୂଳକ ଆଖ୍ୟାନ ଅନୁକ୍ରମେ ମାଘମାସରେ ଏହି ବେଶରେ ଜଗନ୍ନାଥ ମହାପ୍ରଭୁ ସୋଲରେ ନିର୍ମିତ ପଦ୍ମ ପୁଷ୍ପ ପରିହିତ ହୋଇଥାନ୍ତି ।

ଇଟିଭି ଭାରତ, ପୁରୀ

Last Updated :Jan 25, 2023, 1:26 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.