ETV Bharat / state

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ନୀତି: ଆଜି ପୋଢୁଆଁ ହେବେ ବଡଠାକୁର

author img

By ETV Bharat Odisha Team

Published : Dec 5, 2023, 9:13 AM IST

ଆଜି ପୋଢୁଆଁ ହେବେ ବଡଠାକୁର । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେଉଛି । ଅଧିକ ପଢନ୍ତୁ

ଆଜି ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ନୀତି
ଆଜି ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ନୀତି

ପୁରୀ: ଆଜି ପବିତ୍ର ପ୍ରଥମାଷ୍ଟମୀ । ଘରେ ଘରେ ମହକୁଛି ପିଠାପଣା । ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ମଧ୍ୟ ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେବ । ପୋଢୁଆଁ ହେବେ ବଡଠାକୁର । ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ | ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆ ଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି । ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି । ତିନିବାଡ଼ରେ ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି । ଏହି ପୂଜା ପରେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ । ଏହିପରି ଭାବେ ପ୍ରଥମାଷ୍ଟମୀ ଦିନ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ ।

ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀର ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘାୟୁ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜାର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମାଆମାନେ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି ।

ଏହା ମଧ୍ୟ ପଢନ୍ତୁ: ମାଧବାନନ୍ଦଜୀଉଙ୍କ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ଗଲା ପୋଢୁଆଁ ଭାର

ପରମ୍ପରା ଅନୁଯାୟୀ, ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆ ଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ । ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପମାଆମାନେ ପିନ୍ଧାଇ ଥାଆନ୍ତି । ଏହି ବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ ତଥା ଭାଇଭଉଣୀଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।

ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀପତ୍ର ବ୍ୟବହୃତ ହୁଏ ନାହିଁ । କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.